Psalms 77

I remember the deeds of the Lord

1ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଆସଫର ଗୀତ। ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ। 2ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। 3ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା] 4ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ। 5ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି। 6ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା। 7“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?

8ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ? 9ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?” [ସେଲା] 10ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।” 11ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି। 12ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି। 13ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ?

14ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ। 15ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ। 16ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା। 17ମେଘମାଳ ଜଳ ବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା। 18ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା। 19ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା। 20ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

Copied!
Aa