Apocalipse 15
O cântico de Moisés e do Cordeiro
1ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ। 2ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି। 3ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ। 4ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”
Os sete anjos com as pragas
5ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା, 6ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ। 7ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ। 8ଆଉ ଈଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ।